ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ଗୀତା ମେହେଟ୍ଟାଙ୍କର ଆଜି ଅନ୍ତିମ ସଂସ୍କାର କରାଯିବ। ଦିଲ୍ଲୀରେ ଅବଦୁଲ କଲାମ ରୋଡରେ ଥିବା ପୈତୃକ ବାସଭବନରେ ବର୍ତ୍ତମାନ ଗୀତା ମେହେଟାଙ୍କ ପାର୍ଥିବ ଶରୀର ରଖାଯାଇଛି। ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ତାଙ୍କ ଶେଷ ଦର୍ଶନ କରିଛନ୍ତି। ବଡ ଭାଇ ପ୍ରେମ ପଟ୍ଟନାୟକ, ସାନ ଭାଇ ନବୀନ ପଟ୍ଟନାୟକଙ୍କ ସମେତ ଆତ୍ମୀୟ ସ୍ୱଜନ, ବନ୍ଧୁ ଓ ପରିଜନ ମଧ୍ୟ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
୧୯୬୫ ମସିହାରେ ସେ ସନ୍ନି ମେହେଟ୍ଟାଙ୍କୁ ବିବାହ କରିଥିଲେ। ୨୦୧୯ ମସିହାରେ ଗୀତା ଭାରତ ସରକାରଙ୍କ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିବାକୁ ମନା କରିଦେଇ ଚର୍ଚ୍ଚାରେ ରହିଥିଲେ। ତାଙ୍କର ଏକମାତ୍ର ପୁଅ ଆଦିତ୍ୟ ସିଂ ମେହେଟ୍ଟା ଅଛନ୍ତି ।
ଗୀତା ମେହେଟ୍ଟା ଗତ ୨ବର୍ଷ ଧରି ପାରାଲେସିସ୍ ଓ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଶୁକ୍ରବାର ରାତିରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିଲା। ଏହାପରେ ଶନିବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ୨୦୧୯ ମସିହାରେ ତାଙ୍କ ସ୍ୱାମୀ ତଥା ବିଶିଷ୍ଟ ଆମେରିକୀୟ ପ୍ରକାଶକ ସନ୍ନି ମେହେଟ୍ଟାଙ୍କ ପରଲୋକ ପରଠୁ ସେ ଭାରତରେ ରହୁଥିଲେ ।